ଦେଶରେ ଆଉ ୪୬,୬୧୭ କରୋନା ସଂକ୍ରମିତ ଚିହ୍ନଟ ଓ ୮୫୩ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୯ ଶହରୁ ସାମାନ୍ୟ ଅଧିକ ରହିଛି। ସେହିପରି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୪,୦୦,୭୬,୨୩୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୩୦ ତାରିଖ ସୁଦ୍ଧା ସମୁଦାୟ ୪୧,୪୨,୫୧,୫୨୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୮୦,୦୨୬ଟି ନମୁନା।
ଶୁକ୍ରବାର ଗତ ୨୪ଘଣ୍ଟାରେ ୪୬ହଜାର ୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୫୩ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୫୯ହଜାର ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪ଲକ୍ଷ ୫୮ହଜାର ୨୫୧ କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୧୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୯୫ଲକ୍ଷ ୪୮ହଜାର ୩୦୨ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୩୧୨ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
