ଦେଶରେ ଆଉ ୪୪,୧୧୧ କରୋନା ସଂକ୍ରମିତ ଚିହ୍ନଟ ଓ ୭୩୮ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୭ ଶହରୁ ସାମାନ୍ୟ ଅଧିକ ରହିଛି। ସେହିପରି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୪,୪୬,୧୧,୨୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨ ତାରିଖ ସୁଦ୍ଧା ସମୁଦାୟ ୪୧,୬୪,୧୬,୪୬୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୭୬,୦୩୬ଟି ନମୁନା।
ଶନିବାର ଗତ ୨୪ଘଣ୍ଟାରେ ୪୪ହଜାର ୧୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୩୮ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୫୭ହଜାର ୪୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୫ଲକ୍ଷ ୨ହଜାର ୩୬୨କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୧ହଜାର ୫୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୯୬ଲକ୍ଷ ୫ହଜାର ୭୭୯ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୯୫ହଜାର ୫୩୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
