ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୨ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୮୭୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮ ଜଣ ରହିଥିବା ବେଳେ ବରଗଡ଼ ୫ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲାରୁ ୪ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ଼, ପୁରୀ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର ଜିଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୨୧,୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୮୭,୪୨୦ ଜଣ ସୁସ୍ଥ ହୋଇଥିବା ବେଳେ ୩୦,୨୨୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୧୯୬ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
