ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୫୮ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୩୩୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୫୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧ ଜଣ ରହିଥିବା ବେଳେ ବରଗଡ଼, ପୁରୀ ଜିଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁର ଜିଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ , ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୫୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୩୫,୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୦୩,୧୭୮ ଜଣ ସୁସ୍ଥ ହୋଇଥିବା ବେଳେ ୨୭,୪୨୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୫୩୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
