ଆଜି ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ : ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟା ବା ଚିତାଲାଗି ଅମାବାସ୍ୟା । ଏହି ଚିତାଲାଗି ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ପରେ ଆପାତତଃ ମଧ୍ୟାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୀର୍ଘ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ଵାଡର ବାଡ଼ଗ୍ରାହୀ, ଓ ଅନ୍ୟାନ୍ୟ ଦଇତାପତି ସେବାୟତମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ। ଶ୍ରୀଜଗନ୍ନାଥଙ୍କୁ ଶୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ।
ସ୍ନାନପୂର୍ଣ୍ଣିମା ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ। ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢି ନିଆ ଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ଆଜି ସେହି ସୋଲ ଚିତାକୁ କଢ଼ାଯାଇ ଅସଲ ଚିତା ଲାଗି କରାଯିବ। ଆଜି ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ। ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ଶେଜରେ ବିଜେ କରିବେ। ପୂର୍ବରୁ ସୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତ୍ରୁତ ସ୍ଵର୍ଣ୍ଣ ଓଷ ଚିତାରେ ଲାଗି କରାଇବେ ଦଇତାପତି। ତେବେ କୋଭିଡ କଟକଣା ଯୋଗୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।
