୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଂଚଳ ଗସ୍ତ; କୋଭିଡ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ସ୍ୱତନ୍ତ୍ର ନୀତି ଆସିବ
ସବୁ ଇଡ୍କୋ ଶିଳ୍ପାଂଚଳରେ ଶ୍ରମିକ ମାନଙ୍କ ରହିବା ପାଇଁ ହଷ୍ଟେଲ ନିର୍ମାଣ ହେବ
ଭୁବନେଶ୍ୱର : ୫-ଟି ସଚିବ ଭି.କେ. ପାଣ୍ଡିଆନ ମଙ୍ଗଳବାର ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଂଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଂଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଛନ୍ତି ।
ଆଲୋଚନା ପରେ ୫-ଟି ସଚିବ ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନ ଏବଂ ସେମାନଙ୍କ ସଂଘର କର୍ମକର୍ତାମାନେ ଆଲୋଚନାରେ ଭାଗ ନେଇଥିଲେ । ଏଥିରେ ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକ ଗୁଡିକର ପାର୍କିଂ ସମସ୍ୟା, ଶ୍ରମିକ ମାନଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା । ବୈଠକରେ ସବୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍ ରେ ଦୁଇ ହଜାରରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲର ବ୍ୟବସ୍ଥା କରାଯିବ ବୋଲି ନିଷ୍ପତି ହୋଇଥିଲା ।
କୋଭିଡ ମହାମାରୀ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି । ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ସ୍ୱତନ୍ତ୍ର ନୀତି ଆସିବ ବୋଲି ୫-ଟି ସଚିବ କହିଥିଲେ । ବୈଠକରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା । ଏହାପରେ ଶ୍ରୀ ପାଣ୍ଡିଆନ ଜୟମଙ୍ଗଳ ଶିଳ୍ପାଂଚଳ ମଧ୍ୟ ପରିଦର୍ଶନ କରିଥିଲେ । ସେଠାରେ ସେ କୋଭିଡ ମହାମାରୀ ସମୟରେ ଚାକିରୀ ଛାଡି ଥିବା ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ ଓ ମ୍ୟାନେଜମେଂଟ ଗ୍ରାଜୁଏଟ ମାନଙ୍କ ସହିତ ଆଲୋଚନା କରିଥିଲେ । ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କର ଉଦ୍ୟମରେ ରାଜ୍ୟ ସରକାର ସଂପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ । ଶିଳ୍ପଦ୍ୟୋଗୀମାନେ ସେମାନଙ୍କର ଦୀର୍ଘ ବର୍ଷର ସମସ୍ୟାର ଆଜି ସମାଧାନ ହୋଇଛି ବୋଲି ସନ୍ତୋଷ ପ୍ରକାଶ କରି ସେମାନେ କହିଥିଲେ ଯେ ୪୦ ବର୍ଷର ସମସ୍ୟା ଆଜି ମାତ୍ର ୪୦ ମିନିଟ୍ରେ ସମାଧାନ ହୋଇପାରିଛି । ଏହି ଆଲୋଚନାରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଡ୍କୋ ପରିଚାଳନା ନିର୍ଦ୍ଦେଶକ ଓ ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।
