ପ୍ରବଳ ବର୍ଷା ନେଇ ୨୧ ଜିଲାକୁ ୟେଲୋ ୱାର୍ଣ୍ଣିିଂ ଜାରି
ଭୁବନେଶ୍ୱର : ଆସନ୍ତା ୬ ତାରିଖ ସୁଦ୍ଧା ଉତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବାନେଇ ପାଣିପାଗ ବିଭାଗ ଆକଳନ କରିଛି ।
ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ ବର୍ଷା ପବନ ଓ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେବ ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର. କନ୍ଧମାଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ପବନ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ।
ସେହିପରି ୪ରୁ ୫ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର , କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର ମୟୁରଭଂଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ଗଜପତି ରାୟଗଡା, ଗଂଜାମ , ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
